ବ୍ରହ୍ମପୁର,୨୪/୦୬/୨୧/(ପରାମର୍ଶ ନ୍ୟୁଜ୍):ଗଞ୍ଜାମ ଜିଲ୍ଲା ର ସ୍ବାସ୍ଥ୍ୟ ସେବାରେ ଉନ୍ନତି ଆଣିବା ସହ ଜିଲ୍ଲାବାସିଙ୍କ ଲାଗି ଅନେକ ପ୍ରକଳ୍ପ ଉତ୍ସର୍ଗୀକୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବ୍ରହ୍ମପୁର ସିଟି ମେଡିକାଲ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସ ମାଧ୍ୟମରେ ସ୍ୱାସ୍ଥ୍ୟ ସେବାର ବିଭିନ୍ନ ପ୍ରକଳ୍ପ ର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସିଟି ମେଡିକାଲରେ ୬୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଲିକ୍ୟୁଇଡ ଅକ୍ସଇଜେନ ଷ୍ଟରେଜ ପ୍ଲାଣ୍ଟ, ବ୍ରହ୍ମପୁର ଏମକେସିଜି ରେ ୨ କୋଟି ଟଙ୍କା ବ୍ୟୟ ଅଟକଳରେ ଅକ୍ସଇଜେନ ଜେନେରେଶନ ପ୍ଲାଣ୍ଟ, ବ୍ରହ୍ମପୁର ସିଟି ହସ୍ପିଟାଲ ନିମନ୍ତେ ୧ କୋଟି ଟଙ୍କା ବ୍ୟୟ ଅଟକଳରେ ଅକ୍ସଇଜେନ ଜେନେରେଶନ ପ୍ଲାଣ୍ଟ ଓ ବୋଟଲିଂ ପ୍ଲାଣ୍ଟ ର ଶୁଭ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ । ଏହା ଛଡା ବ୍ରହ୍ମପୁର ସିଟି ହସ୍ପିଟାଲ ଠାରେ ୫ କୋଟି ୫୯ଲକ୍ଷ ବ୍ୟୟ ଅଟକଳରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର ଶୁଭା ଦେଇଛନ୍ତି । ସେହିପରି ଭଂଜନଗରରେ୬୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଭଞ୍ଜନଗର ଉପ ଖଣ୍ଡ ହସ୍ପିଟାଲ ଠାରେ ଅକ୍ସଇଜେନ ଜେନେରେଶନ ପ୍ଲାଣ୍ଟ ଓ ୪୨ ଲକ୍ଷ ଟଙ୍କା ବ୍ୟୟ ଅଟକଳ ରେ ଡାୟାଲିସିସ୍ ୟୁନିଟ, କୁକୁଡାଖଣ୍ଡି ବ୍ଲକ୍ରେ ୮୦ ଲକ୍ଷ ବ୍ୟୟ ଅଟକଳରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକ୍ରେ ବମକେଇ ନୂତନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଅନ୍ୟ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଇ କହିଥିଲେ ଯେ ଦ୍ବିତୀୟ ଲହର ସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ କେତେକ ଉପକୂଳବର୍ତ୍ତୀ ଜିଲ୍ଲାର ପରିସ୍ଥିତିରେ ସ୍ଥିରତା ରହୁନାହିଁ । ସେହିପରି ତୃତୀୟ ଲହର ନେଇ ବିଶେଷଜ୍ଞମାନେ ଭିନ୍ନ ଭିନ୍ନ ମତ ରଖିଛନ୍ତି । ତା ସହିତ କେତେକ ରାଜ୍ୟରେ ଡେଲ୍ଟା ପ୍ଲସ୍ ଭ୍ୟାରିଆଣ୍ଟ ମଧ୍ୟ ଦେଖା ଦେଲାଣି । ତେଣୁ କୌଣସି ପରିସ୍ଥିତିରେ ଆମର ପ୍ରସ୍ତୁତିରେ ସାମାନ୍ୟତମ ଅବହେଳା କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ମତ ପ୍ରକାଶ କରିଛନ୍ତି। ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳ ମନ୍ତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରକାରଙ୍କ ପ୍ରସ୍ତୁତି, ଜନସାଧାରଣଙ୍କ ସତର୍କତା ଓ ସହଯୋଗ ଜରିଆରେ ହିଁ ଆମେ ଏ ଲଢେଇ ଜିତିପାରିବା । କୋଭିଡ ନିୟମ ପାଳନ ସହିତ ଟୀକାକରଣ କ୍ଷେତ୍ରରେ ମଧ୍ୟ ଜନସାଧାରଣଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ୧ କୋଟିରୁ ଅଧିକ ଡୋଜ୍ ଟୀକା ଦିଆଯାଇସାରିଲାଣି । ଜୀବନ ସହିତ ଜୀବିକା ଉପରେ ସେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି ବୋଲି ପ୍ରକାଶ କରି ରାଜ୍ୟ ସରକାର ନିକଟରେ ଗରିବ ଲୋକ ଓ ଚାଷୀ ମାନଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ । ଉକ୍ତ କାଯ୍ୟକ୍ରମରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଉପସ୍ଥିତ ରହି ଆଜି ଗଞ୍ଜାମ ପାଇଁ ଏକ ସୌଭାଗ୍ୟର ଦିନ କହିବା ସହ ଗଞ୍ଜାମ ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସେ ଆଲୋକପାତ କରିଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ, ବିଜ୍ଞାନ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ, ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, କନ୍ଧମାଳ ସାଂସଦ ଶ୍ରୀ ଅଚ୍ୟୁତ ସାମନ୍ତ, ନବରଂଗପୁର ସାଂସଦ ଶ୍ରୀ ରମେଶଚନ୍ଦ୍ର ମାଝୀ ଓ କେନ୍ଦ୍ରାପଡା ବିଧାୟକ ଶ୍ରୀ ଶଶୀଭୂଷଣ ବେହେରା ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ। କରୋନାର ତୃତୀୟ ଲହର ବେସ ବିପଦ ଜନକ ହୋଇଥିବା ବେଳେ ସମସ୍ତ ଜନସାଧାରଣଙ୍କୁ ସତର୍କତା ଅବଲମ୍ବନ କରିବା ଲାଗି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର , ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ , ଆସ୍କା ସାଂସଦ ପ୍ରମିଳା ବିଷୋୟୀ , ବିଧାୟକ ବିକ୍ରମ କୁମାର ପଣ୍ଡା , ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ , ନିଗମ କମିଶନର ଡଃ ସିଦ୍ଦେଶ୍ଵର ବଳିରାମ ବନ୍ଦାର ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରି ଡା ଉମାଶଙ୍କର ମିଶ୍ର ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ସମେତ ଅନ୍ୟାନ୍ୟ ବିଧାୟକ ଓ ଅଧିକାରି ଉପସ୍ଥିତ ଥିଲେ ।
ରିପୋର୍ଟ:ପିଣ୍ଟୁ ବେହେରା

Comments are closed.